ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ
ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଓ ଆସନ୍ତାକାଲି (୩୦ ଓ ୩୧ ଜୁଲାଇ ୨୦୨୬) ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି ।
ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏଥି ସହ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।
