July 5, 2026
Home » ଫୁଲୁରୀ ତେଲ ଲାଗି

ଫୁଲୁରୀ ତେଲ ଲାଗି

0
Screenshot 2026-07-05 150827

 

ଅଣସରରେ ତିନି ଠାକୁର। ୧୦୮ ଗରା ପାଣିରେ ଗାଧୋଇ ପଡିଛନ୍ତି ଜ୍ୱରରେ। ଏହି ଜ୍ୱରର ଉପଚାର ପାଇଁ ଆବଶ୍ୟକ ହୋଇଥାଏ “ଫୁଲୁରି ତେଲ’ ଓ “ଦଶମୂଳ ମୋଦକ’ । ଆଜି ଏହି ଫୁଲିରି ତେଲ ଶ୍ରୀ ବିଗ୍ରହଙ୍କ ପାଦରେ ଘସାଯିବ । ଏହାଦ୍ୱାରା ମହାପ୍ରଭୁଙ୍କୁ ଜ୍ୱର ଛାଡି ଯାଏ ବୋଲି କୁହାଯାଏ । ଆଷାଢ଼ କୃଷ୍ଣ ପଞ୍ଚମୀ ବା “ଅଣସର ପଞ୍ଚମୀ’ ଦିନ ରୁ ଆଷାଢ଼ କୃଷ୍ଣ ସପ୍ତମୀ ମଧ୍ୟରେ ଏହି ନୀତି ହୋଇଥାଏ । ଆଜି ମହାପ୍ରଭୁଙ୍କୁ ଫୁଲୁରୀ ତେଲ ଲାଗି ହେବ l ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି l ଓଡ଼ିଆ ଭାଗବତକାର ଅତିବଡ଼ୀ ଜଗନ୍ନାଥ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ବଡ଼ଓଡ଼ିଆ ମଠ ଏହା ଯୋଗାଇ ଥାଆନ୍ତି । ବଡ଼ଓଡ଼ିଆ ମଠ ଏହି ତେଲକୁ ପ୍ରସ୍ତୁତ କରିଥିବାବେଳେ ପ୍ରଥମେ ଶୋଭାଯାତ୍ରା ସହକାରେ ଶ୍ରୀମନ୍ଦିରକୁ ଫୁଲୁରୀ ତେଲକୁ ବିଜେ କରା ଯାଇଥାଏ l ବୈଦ୍ୟଙ୍କ ପରାମର୍ଶକ୍ରମେ ଅଣସର ପିଣ୍ଡିରେ ଶ୍ରୀଜୀଉଙ୍କୁ ଏହି ଫୁଲୁରୀ ତେଲର ଚିକିତ୍ସା ସେବା ଯୋଗାଇ ଦିଆଯାଏ l

ପରମ୍ପରା କ୍ରମେ ଅସୁସ୍ଥ ଶ୍ରୀଜୀଊମାନେ ଏବେ ସୁସ୍ଥ ହେଉଛନ୍ତି। ଶୟନ ଅବସ୍ଥାରୁ ବିଗ୍ରହମାନଙ୍କୁ ବସାଇବା ଉପକ୍ରମ ଆରମ୍ଭ ହୋଇଛି। ଏଣେ ଲୌକିକ ମତରେ ଜ୍ୱରଗ୍ରସ୍ତ ଠାକୁରମାନଙ୍କ ଦେହରୁ ମଜରା ଛଡାଇବାକୁ କରାଯିବ ଉପଚାର। ଶ୍ରୀଅଙ୍ଗକୁ ସୁସ୍ଥ କରିବାକୁ ଆଜି ମାଲିସ୍‌ ହେବେ ଫୁଲୁରୀ ତେଲ। ବଡ଼ଓଡ଼ିଆ ମଠ ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ଯୋଗାଯାଇଥାଏ l କେବଳ ନବକଳେବର ବର୍ଷରେ ୯ ସେର ଫୁଲୁରୀ ତେଲ ଦିଆ ଯାଇଥାଏ l ଆଷାଢ଼ କୃଷ୍ଣ ପଞ୍ଚମୀରୁ ସପ୍ତମୀ ଫୁଲୁରୀ ତେଲ କୁ ଲାଗି କରାଜାଇଥାଏ l ସ୍ୱତନ୍ତ୍ର ପ୍ରଣାଳୀରେ ପ୍ରସ୍ତୁତ ହୋଇଥାଏ l ବର୍ଷେ ପୂର୍ବରୁ ହେରାପଞ୍ଚମୀ ତିଥିରେ ତିନୋଟି ତିନି ସେରିଆ ମାଟି ଘଡ଼ିର ଆବଶ୍ୟକତା ରହିଥାଏ l ତିନି ଘଡ଼ିରେ ଘଣା ପେଡ଼଼ା ରାଶି ତେଲ ସହିତ କୃଷ୍ଣଭୋଗ ଧାନ, ବେଣା ଚେର, ଚନ୍ଦନ କାଠ, କେତକୀ, ଚମ୍ପା, ବଉଳ, ମାଳତୀ, ମଲ୍ଲୀ, ଜୁଇ, ଜାଇ ଆଦି ଫୁଲର ମିଶ୍ରଣ, ଶାଳ ପର୍ଣ୍ଣି, ଗମ୍ଭାରୀ, ଲବାଙ୍ଗ କୁଳି, ଫଣଫଣା, କୃଷ୍ଣ ପର୍ଣ୍ଣି, ବେଲ, ଖଣି ବଥୁ, ପଟଳି, ଖୁଆ, ଅଙ୍କରାନ୍ତି, ଗୋଖରା, ଲମ୍ୱାଗୋତି, ଦେଶୀ ଘିଅ, ମହୁ, ନବାତ, ଖୁଆସର ଅଦିକୁ ମିଶାଇ ଏକ ବର୍ଷ ପର୍ଯ୍ୟନ୍ତ ମାଟି ତଳେ ପୋତା ହୋଇ ରଖାଯାଇଥାଏ l ଯାହାକୁ ଫୁଲରୀ ତେଲ ବୋଲି କୁହାଯାଇଥାଏ l ଏହି ମିଶ୍ରଣକୁ ମାଟିତଳେ ଦୀର୍ଘ ଏକ ବର୍ଷ କାଳ ରଖିବା ପରେ ଦେବସ୍ନାନ ପୂର୍ଣ୍ଣିମା ଦିନ ମାଟିରୁ ବାହାର କରାଯାଇଥାଏ। ଏହି ଅବଧିରେ ଏହି ମିଶ୍ରିତ ତୈଳ ଔଷଧରେ ରୁପାନ୍ତରିତ ହୋଇଥାଏ। ଆୟୁର୍ବେଦ ଶାସ୍ତ୍ର ମୁତାବକ ଏ ସମ୍ପସ୍ତ ଫୁଲ ଓ ବେଣା ଚେରରେ ରହି ଦେହକୁ ଉଷ୍ମତା ପ୍ରଦାନ କରିବାର ଶକ୍ତି ଦେବ। ଏଣୁ ମହାପ୍ରଭୁମାନେ ପ୍ରବଳ ସ୍ନାନ ଯୋଗୁ ଅସୁସ୍ଥ ହୋଇପଡିଥିବା କଳ୍ପନା କରାଯାଇ ଶ୍ରୀଅଙ୍ଗରେ ଏହି ତୈଳ ମର୍ଦ୍ଦନ କରାଯାଇଥାଏ। ଏହି ଫୁଲରୀ ତେଲ ମାଲିସ ପରେ ଶ୍ରୀଜିଉ କିଛି ଅଂଶରେ ସୁସ୍ଥ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି l ଏହି ତେଲକୁ ଛଣାଯାଇ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି ପାଇଁ ପଠାଯାଏ l

ଦେଉଳ କରଣଙ୍କ ନେତୃତ୍ୱରେ ଏହାକୁ ଅଣସର ଗୃହକୁ ଆଣାଯିବା ପରେ ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ଫୁଲୁରୀ ତେଲ ନେଇ ସଂସ୍କାର କରିବା ପରେ ଏହି ତେଲକୁ ଦଇତାପତି ସେବକ ମାନେ ଚତୁର୍ଦ୍ଦା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି କରାଇଥାନ୍ତି l ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ l ଏହି ତେଳ ପ୍ରସ୍ତୁତ ମହୌଷଧି ଲାଗି ହେବା ପରେ ମହାପ୍ରଭୁ ସୁସ୍ଥ ହେବେ ଏବଂ ନବଯୌବନ ପ୍ରାପ୍ତି ହେବେ l

Leave a Reply

Your email address will not be published. Required fields are marked *