July 1, 2025
Home » ଭାରତୀୟ ସଂସ୍କୃତିର ଏକ ମହତ୍ତ୍ୱପୂର୍ଣ୍ଣ ଦିବସ ଓ ପର୍ବ ‘ଅକ୍ଷୟ ତୃତୀୟା”

ଭାରତୀୟ ସଂସ୍କୃତିର ଏକ ମହତ୍ତ୍ୱପୂର୍ଣ୍ଣ ଦିବସ ଓ ପର୍ବ ‘ଅକ୍ଷୟ ତୃତୀୟା”

0
WhatsApp Image 2025-04-29 at 10.08.44 AM

ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି । ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା । ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା । କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ । ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା । ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ । ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି ।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ

Leave a Reply

Your email address will not be published. Required fields are marked *